ଆୟୁବ ପୁସ୍ତକ ଅଧ୍ୟାୟ 15
1. କଥୋପକଥନ: ଦ୍ଵିତୀୟ ପର୍ଯ୍ୟାୟ ଇଲୀଫସ୍ - ଆୟୁବଠାରେ ଈଶ୍ଵର ଭୟ ନାହିଁ ଏଥି ଉତ୍ତାରେ ତୈମନୀୟ ଇଲୀଫସ୍ ଉତ୍ତର କରି କହିଲା,
2. ଜ୍ଞାନୀ ଲୋକ କʼଣ ଅସାର ଜ୍ଞାନରେ ଉତ୍ତର ଦେବ? ଓ ପୂର୍ବୀୟ ବାୟୁରେ ଆପଣା ଉଦର ପୂର୍ଣ୍ଣ କରିବ?
3. ସେ କʼଣ ଅନର୍ଥକ କଥାରେ ଓ ନିଷ୍ଫଳ ବାକ୍ୟରେ ଯୁକ୍ତି କରିବ?
4. ହଁ, ତୁମ୍ଭେ ତ ଭୟ ଦୂର କରି ଦେଉଅଛ ଓ ପରମେଶ୍ଵରଙ୍କ ସାକ୍ଷାତରେ ଭକ୍ତି କ୍ଷୀଣ କରୁଅଛ ।
5. କାରଣ ତୁମ୍ଭର ଅପରାଧ ତୁମ୍ଭ ମୁଖକୁ ଶିଖାଉଅଛି ଓ ତୁମ୍ଭେ ଧୂର୍ତ୍ତର ଜିହ୍ଵା ପସନ୍ଦ କରୁଅଛ ।
6. ତୁମ୍ଭର ନିଜ ମୁଖ ତୁମ୍ଭକୁ ଦୋଷୀ କରୁଅଛି, ମୁଁ କରୁ ନାହିଁ; ଆହୁରି, ତୁମ୍ଭ ନିଜ ଓଷ୍ଠାଧର ତୁମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦେଉଅଛି ।
7. ମନୁଷ୍ୟମାନଙ୍କ ମଧ୍ୟରେ ତୁମ୍ଭେ କʼଣ ପ୍ରଥମଜାତ? ଅବା ପର୍ବତଗଣ ପୂର୍ବରୁ ତୁମ୍ଭେ କʼଣ ଉତ୍ପନ୍ନ ହୋଇଥିଲ?
8. ତୁମ୍ଭେ କʼଣ ପରମେଶ୍ଵରଙ୍କର ଗୁପ୍ତ ମନ୍ତ୍ରଣା ଶୁଣିଅଛ? ଓ ତୁମ୍ଭେ କʼଣ ଜ୍ଞାନ ଆତ୍ମସାତ୍ କରୁଅଛ?
9. ଆମ୍ଭମାନଙ୍କୁ ଅଜଣା କେଉଁ କଥା ତୁମ୍ଭେ ଜାଣୁଅଛ? ଆମ୍ଭମାନଙ୍କର ଅବୁଝା କେଉଁ କଥା ତୁମ୍ଭେ ବୁଝୁଅଛ?
10. ପକ୍ଵକେଶ ବିଶିଷ୍ଟ ଓ ତୁମ୍ଭ ପିତା ଅପେକ୍ଷା ପ୍ରାଚୀନ ଅତି ବୃଦ୍ଧ ଲୋକେ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି ।
11. ପରମେଶ୍ଵରଙ୍କ ସାନ୍ତ୍ଵନା-ବାକ୍ୟ ତୁମ୍ଭ ପ୍ରତି କି କ୍ଷୁଦ୍ର ବିଷୟ ଓ ତୁମ୍ଭ ସହିତ କୋମଳ ଆଳାପ କି ତଦ୍ରୂପ?
12. ତୁମ୍ଭ ମନ ତୁମ୍ଭକୁ କାହିଁକି ବିପଥରେ ନେଇଯାଏ? ଓ ତୁମ୍ଭର ଚକ୍ଷୁ କାହିଁକି ମଟ୍ମଟ୍ କରେ
13. ଯେ, ତୁମ୍ଭେ ପରମେଶ୍ଵରଙ୍କ ବିରୁଦ୍ଧରେ ଆପଣା ଆତ୍ମାକୁ ଚିଅାଁଉଅଛ ଓ ଆପଣା ମୁଖରୁ ଏପରି କଥା ବାହାରିବାକୁ ଦେଉଅଛ?
14. ମନୁଷ୍ୟ କିଏ ଯେ, ସେ ଶୁଚି ହୋଇପାରେ? ଓ ସ୍ତ୍ରୀଜାତ ମନୁଷ୍ୟ କିଏ ଯେ, ସେ ଧାର୍ମିକ ହୋଇପାରେ?
15. ଦେଖ, ସେ ଆପଣା ପବିତ୍ରଗଣଠାରେ ବିଶ୍ଵାସ କରନ୍ତି ନାହିଁ; ଆହୁରି, ତାହାଙ୍କ ଦୃଷ୍ଟିରେ ଆକାଶମଣ୍ତଳ ନିର୍ମଳ ନୁହେଁ ।
16. ତେବେ ଘୃଣାର୍ହ ଓ ଭ୍ରଷ୍ଟ, ଅଧର୍ମକୁ ଜଳ ପରି ପାନକାରୀ ଯେ ମନୁଷ୍ୟ, ସେ କେଡ଼େ ନ୍ୟୂନ!
17. ମୁଁ ତୁମ୍ଭକୁ ଦେଖାଇବି, ମୋʼ କଥା ଶୁଣ; ମୁଁ ଯାହା ଦେଖିଅଛି, ତାହା ପ୍ରକାଶ କରିବି;
18. ଜ୍ଞାନୀମାନେ ଆପଣା ଆପଣା ପିତୃଲୋକଙ୍କ-ଠାରୁ ତାହା ପାଇ କହି ଅଛନ୍ତି ଓ ଗୁପ୍ତ କରି ନାହାନ୍ତି;
19. କେବଳ ସେମାନଙ୍କୁ ଦେଶ ଦତ୍ତ ହୋଇଥିଲା ଓ କୌଣସି ବିଦେଶୀ ସେମାନଙ୍କ ମଧ୍ୟରେ ଗତାୟାତ କଲା ନାହିଁ;
20. ଦୁଷ୍ଟ ଲୋକ ଆପଣାର ଯାବଜ୍ଜୀବନ, ଅର୍ଥାତ୍, ଉପଦ୍ରବ ପାଇଁ ନିରୂପିତ ବର୍ଷଯାଏ କ୍ଳେଶ ଭୋଗ କରେ ।
21. ତାହାର କର୍ଣ୍ଣରେ ତ୍ରାସଜନକ ଶଦ୍ଦ ଥାଏ, ସୌଭାଗ୍ୟ ସମୟରେ ଲୁଟକାରୀ ତାହାକୁ ଆକ୍ରମଣ କରିବ;
22. ସେ ଅନ୍ଧକାରରୁ ଫେରି ଆସିବ ବୋଲି ବିଶ୍ଵାସ କରେ ନାହିଁ ଓ ସେ ଖଡ଼୍ଗ ନିମନ୍ତେ ଅପେକ୍ଷିତ;
23. ସେ ଖାଦ୍ୟ ନିମନ୍ତେ ବାହାରେ ବୁଲି କହଇ, ତାହା କାହିଁ? ଅନ୍ଧକାରର ଦିନ ତାହାର ସନ୍ନିକଟ ବୋଲି ସେ ଜାଣେ ।
24. ସଙ୍କଟ ଓ ମନସ୍ତାପ ତାହାକୁ ଭୀତ କରେ; ଯୁଦ୍ଧାର୍ଥେ ସସଜ୍ଜ ରାଜା ତୁଲ୍ୟ ତାହା ତାହାକୁ ପରାସ୍ତ କରେ;
25. କାରଣ ସେ ପରମେଶ୍ଵରଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିଅଛି ଓ ସର୍ବଶକ୍ତିମାନଙ୍କ ପ୍ରତିକୂଳରେ ଗର୍ବାଚରଣ କରୁଅଛି;
26. ସେ ଶକ୍ତଗ୍ରୀବ ହୋଇ ଆପଣା ଢାଲର ସ୍ଥୂଳ ଅଂଶ ଦେଖାଇ ତାହାଙ୍କ ଉପରକୁ ଦୌଡ଼େ;
27. ସେ ଆପଣା ମେଦରେ ଆପଣା ମୁଖ ଆଚ୍ଛାଦନ କଲା ଓ କଟିଦେଶ ହୃଷ୍ଟପୁଷ୍ଟ କଲା;
28. ଆଉ, ସେ ଉଜାଡ଼-ନଗରରେ ନିବାସୀରହିତ ଓ ଢିପି ହେବାକୁ ଉଦ୍ୟତ ଗୃହରେ ବାସ କଲା ।
29. ଏଣୁ ସେ ଧନବାନ ହେବ ନାହିଁ, ଅବା ତାହାର ସମ୍ପତ୍ତି ସ୍ଥାୟୀ ହେବ ନାହିଁ; କିଅବା ସେମାନଙ୍କର ଉତ୍ପନ୍ନ ଫଳ ଭୂମିକି ଓହଳିବ ନାହିଁ ।
30. ସେ ଅନ୍ଧକାରରୁ ପ୍ରସ୍ଥାନ କରିବ ନାହିଁ, ଅଗ୍ନିଶିଖା ତାହାର ଶାଖା ଶୁଷ୍କ କରିବ ଓ ସେ ତାହାଙ୍କ ମୁଖର ନିଶ୍ଵାସରେ ଉଡ଼ିଯିବ ।
31. ସେ ଆପଣାକୁ ଭ୍ରାନ୍ତ କରି ଅସାରତାରେ ବିଶ୍ଵାସ ନ କରୁ; କାରଣ ଅସାରତା ହିଁ ତାହାର ପୁରସ୍କାର ହେବ ।
32. ତାହା ଆପଣା ସମୟ ପୂର୍ବେ ଶେଷ ପାଇବ ଓ ତାହାର ଶାଖା ସତେଜ ହେବ ନାହିଁ ।
33. ସେ ଦ୍ରାକ୍ଷାଲତା ନ୍ୟାୟ ଆପଣା ଅପକ୍ଵ ଫଳ ଝାଡ଼ି ପକାଇବ ଓ ଜୀତବୃକ୍ଷ ନ୍ୟାୟ ଆପଣା ଫୁଲ ପକାଇ ଦେବ ।
34. କାରଣ ଅଧାର୍ମିକମାନଙ୍କ ସଙ୍ଗୀଦଳ ଅଫଳ ହେବେ ଓ ଅଗ୍ନି ଲାଞ୍ଚର ତମ୍ଵୁସବୁ ଗ୍ରାସ କରିବ ।
35. ସେମାନେ ଅନିଷ୍ଟ ଗର୍ଭଧାରଣ କରି ଅଧର୍ମ ପ୍ରସବ କରନ୍ତି ଓ ସେମାନଙ୍କ ଉଦର ପ୍ରତାରଣା ପ୍ରସ୍ତୁତ କରେ ।