ଲୂକଲିଖିତ ସୁସମାଚାର ଅଧ୍ୟାୟ 24
1. ଆଉ, ବିଶ୍ରାମବାରରେ ସେମାନେ ବିଧି ଅନୁସାରେ ବିଶ୍ରାମ କଲେ, କିନ୍ତୁ ସପ୍ତାହର ପ୍ରଥମ ଦିନର ଅତି ପ୍ରତ୍ୟୁଷରେ ସେମାନେ ସେମାନଙ୍କ ପ୍ରସ୍ତୁତ ସୁଗନ୍ଧିଦ୍ରବ୍ୟ ଘେନି ସମାଧି ନିକଟକୁ ଗଲେ ।
2. ପୁଣି, ସେମାନେ ସମାଧିରୁ ପଥରଟା ଗଡ଼ାଇ ଦିଆଯାଇଥିବା ଦେଖିଲେ,
3. କିନ୍ତୁ ଭିତରକୁ ଯାଇ ପ୍ରଭୁ ଯୀଶୁଙ୍କ ଶରୀର ପାଇଲେ ନାହିଁ ।
4. ଆଉ, ସେମାନେ ସେସମ୍ଵନ୍ଧରେ ହତବୁଦ୍ଧି ହେଉଅଛନ୍ତି, ଏପରି ସମୟରେ ଦେଖ, ଉଜ୍ଜ୍ଵଳବସ୍ତ୍ର ପରିହିତ ଦୁଇ ଜଣ ବ୍ୟକ୍ତି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;
5. ସେଥିରେ ସେମାନେ ଭୀତ ହୋଇ ଅଧୋମୁଖ ହୁଅନ୍ତେ, ସେମାନେ ସେମାନଙ୍କୁ କହିଲେ, ମୃତମାନଙ୍କ ମଧ୍ୟରେ ତୁମ୍ଭେମାନେ କାହିଁକି ଜୀବିତଙ୍କର ଅନ୍ଵେଷଣ କରୁଅଛ?
6. ସେ ଏଠାରେ ନାହାନ୍ତି, ମାତ୍ର ଉଠିଅଛନ୍ତି । ମନୁଷ୍ୟପୁତ୍ରଙ୍କୁ ଯେ ଅବଶ୍ୟ ପାପୀମାନଙ୍କ ହସ୍ତରେ ସମର୍ପିତ ହୋଇ କ୍ରୁଶରେ ହତ ହେବାକୁ ଓ ତୃତୀୟ ଦିବସରେ ପୁନରୁତ୍ଥାନ କରିବାକୁ ହେବ,
7. ଏହି ଯେଉଁ ବାକ୍ୟ ସେ ଗାଲିଲୀରେ ଥିବା ସମୟରେ ତୁମ୍ଭମାନଙ୍କୁ କହିଥିଲେ, ତାହା ସ୍ମରଣ କର ।
8. ସେଥିରେ ସେମାନେ ତାହାଙ୍କ ବାକ୍ୟ ସ୍ମରଣ କଲେ,
9. ପୁଣି ସମାଧିରୁ ବାହୁଡ଼ିଯାଇ ଏକାଦଶ ଓ ଅନ୍ୟ ସମସ୍ତଙ୍କୁ ଏହିସବୁ ସମ୍ଵାଦ ଦେଲେ ।
10. ଏମାନେ ମଗ୍ଦଲୀନୀ ମରୀୟମ, ଯୋହାନା, ଯାକୁବଙ୍କ ମାତା ମରୀୟମ ଓ ଏମାନଙ୍କ ସାଙ୍ଗରେ ଥିବା ଅନ୍ୟ ସ୍ତ୍ରୀଲୋକମାନେ, ଏମାନେ ପ୍ରେରିତମାନଙ୍କୁ ଏହିସବୁ ବିଷୟ ଜଣାଇଲେ ।
11. ମାତ୍ର ଏସମସ୍ତ କଥା ସେମାନଙ୍କ ନିକଟରେ ପ୍ରଳାପ ପରି ଲାଗିଲା, ଆଉ ସେମାନେ ସେମାନଙ୍କୁ ଅବିଶ୍ଵାସ କଲେ ।
12. [କିନ୍ତୁ ପିତର ଉଠି ସମାଧି ନିକଟକୁ ଦୌଡ଼ିଗଲେ, ପୁଣି ନଇଁପଡ଼ି ଚାହିଁ କେବଳ ସୂକ୍ଷ୍ମ ବସ୍ତ୍ରସବୁ ଦେଖିଲେ, ଆଉ ସେ ସେହି ଘଟଣା ବିଷୟରେ ଚମତ୍କୃତ ହୋଇ ଆପଣା ଘରକୁ ଚାଲିଗଲେ ।]
13. ଆଉ ଦେଖ, ସେହିଦିନ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଯିରୂଶାଲମଠାରୁ ପ୍ରାୟ ଚାରି କ୍ରୋଶ ଦୂରବର୍ତ୍ତୀ ଇମ୍ମାୟୁ ଗ୍ରାମକୁ ଯାଉଥିଲେ
14. ଓ ଏହି ସମସ୍ତ ଘଟଣା ବିଷୟରେ ପରସ୍ପର କଥାବାର୍ତ୍ତା କରୁଥିଲେ ।
15. ସେମାନେ କଥାବାର୍ତ୍ତା ଓ ବାଦାନୁବାଦ କରୁଥିବା ସମୟରେ ଯୀଶୁ ଆପେ ସେମାନଙ୍କ ନିକଟକୁ ଆସି ସେମାନଙ୍କ ସଙ୍ଗେ ସଙ୍ଗେ ଗମନ କରିବାକୁ ଲାଗିଲେ;
16. କିନ୍ତୁ ସେମାନଙ୍କର ଚକ୍ଷୁ ଏପରି ରୁଦ୍ଧ ହୋଇଥିଲା ଯେ, ସେମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ ।
17. ସେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ ଚାଲୁ ଚାଲୁ ଯେଉଁ ସମସ୍ତ ବିଷୟ ପରସ୍ପର କଥାବାର୍ତ୍ତା କରୁଅଛ, ସେସବୁ କଅଣ? ସେଥିରେ ସେମାନେ ବିଷର୍ଣ୍ଣ ମୁଖରେ ଠିଆ ହୋଇ ରହିଲେ ।
18. ଆଉ, ସେମାନଙ୍କ ମଧ୍ୟରୁ କ୍ଳେୟପା ନାମକ ଜଣେ ତାହାଙ୍କୁ ଉତ୍ତର ଦେଲେ, ଯିରୂଶାଲମସ୍ଥ ପ୍ରବାସୀମାନଙ୍କ ମଧ୍ୟରୁ ଆପଣ କଅଣ ଏକାକୀ ସେସ୍ଥାନର ଏ କେତେକ ଦିନର ଘଟଣା ଜାଣନ୍ତି ନାହିଁ?
19. ସେ ସେମାନଙ୍କୁ ପଚାରିଲେ, କି କି ପ୍ରକାର ଘଟଣା? ସେମାନେ ତାହାଙ୍କୁ କହିଲେ, ନାଜରିତୀୟ ଯୀଶୁଙ୍କ ବିଷୟ; ସେ ଈଶ୍ଵର ଓ ସମସ୍ତ ଲୋକଙ୍କ ଦୃଷ୍ଟିରେ କର୍ମରେ ଓ ବାକ୍ୟରେ ଜଣେ ଶକ୍ତିଶାଳୀ ଭାବବାଦୀ ଥିଲେ,
20. ଆଉ ଆମ୍ଭମାନଙ୍କର ପ୍ରଧାନ ଯାଜକ ଓ ଅଧ୍ୟକ୍ଷମାନେ କିପରି ତାହାଙ୍କୁ ପ୍ରାଣଦଣ୍ତ ଭୋଗିବାକୁ ସମର୍ପଣ କରି ତାହାଙ୍କୁ କ୍ରୁଶରେ ବଧ କଲେ, ଏହିସମସ୍ତ ବିଷୟ ।
21. କିନ୍ତୁ ଯେ ଇସ୍ରାଏଲକୁ ମୁକ୍ତ କରିବେ, ସେ ଯେ ଏହି ବ୍ୟକ୍ତି, ତାହା ଆମ୍ଭେମାନେ ଆଶା କରିଥିଲୁ; ମାତ୍ର ଏହା ଛଡ଼ା ଏସମସ୍ତ ଘଟିବାର ଆଜିକି ତିନି ଦିନ ହେଲା ।
22. ଆହୁରି ମଧ୍ୟ, ଆମ୍ଭମାନଙ୍କ ମଧ୍ୟରୁ କେତେକ ସ୍ତ୍ରୀଲୋକ ଆମ୍ଭମାନଙ୍କୁ ଆଚମ୍ଵିତ କରିଅଛନ୍ତି; ସେମାନେ ପ୍ରତ୍ୟୁଷରେ ସମାଧି ନିକଟକୁ ଯାଇଥିଲେ,
23. ଆଉ ତାହାଙ୍କ ଶରୀର ନ ପାଇ ଆସି କହିଲେ ଯେ, ସେମାନେ ଦୂତମାନଙ୍କର ଦର୍ଶନ ମଧ୍ୟ ପାଇଅଛନ୍ତି ଓ ସେହି ଦୂତମାନେ କହିଲେ ଯେ, ସେ ଜୀବିତ ଅଛନ୍ତି ।
24. ଆଉ, ଆମ୍ଭମାନଙ୍କ ସଙ୍ଗୀମାନଙ୍କ ମଧ୍ୟରୁ କେହି କେହି ସମାଧି ନିକଟକୁ ଯାଇ, ସ୍ତ୍ରୀଲୋକମାନେ ଯେପରି କହିଥିଲେ, ସେପରି ଦେଖିଲେ, କିନ୍ତୁ ତାହାଙ୍କୁ ଦେଖିଲେ ନାହିଁ ।
25. ସେଥିରେ ସେ ସେମାନଙ୍କୁ କହିଲେ, ହେ ନିର୍ବୋଧମାନେ ଓ ଭାବବାଦୀମାନଙ୍କ ଦ୍ଵାରା କଥିତ ସମସ୍ତ ବାକ୍ୟରେ ବିଶ୍ଵାସ କରିବାକୁ ଶିଥିଳଚିତ୍ତମାନେ,
26. ଏହିସମସ୍ତ ଦୁଃଖ ଭୋଗ କରି ଆପଣା ମହିମାରେ ପ୍ରବେଶ କରିବା କଅଣ ଖ୍ରୀଷ୍ଟଙ୍କର ଆବଶ୍ୟକ ନ ଥିଲା?
27. ପୁଣି, ମୋଶା ଓ ସମସ୍ତ ଭାବବାଦୀଙ୍କଠାରୁ ଆରମ୍ଭ କରି ସମସ୍ତ ଧର୍ମଶାସ୍ତ୍ରରେ ଆପଣା ସମ୍ଵନ୍ଧୀୟ କଥା ସେ ସେମାନଙ୍କୁ ବୁଝାଇଦେଲେ ।
28. ଆଉ, ସେମାନେ ଯେଉଁ ଗ୍ରାମକୁ ଯାଉଥିଲେ, ସେଥିର ନିକଟବର୍ତ୍ତୀ ହୁଅନ୍ତେ, ସେ ଆହୁରି ଆଗକୁ ଯିବାର ଭାବ ଦେଖାଇଲେ ।
29. କିନ୍ତୁ ସେମାନେ ତାହାଙ୍କୁ ବଳାଇ କହିଲେ, ଆମ୍ଭ-ମାନଙ୍କ ସାଙ୍ଗରେ ରହନ୍ତୁ, କାରଣ ସନ୍ଧ୍ୟା ହୋଇଆସୁଅଛି ଓ ବେଳ ଗଡ଼ିଗଲାଣି । ସେଥିରେ ସେ ସେମାନଙ୍କ ସହିତ ରହିବାକୁ ଘର ଭିତରକୁ ଗଲେ ।
30. ଆଉ, ସେମାନଙ୍କ ସହିତ ଭୋଜନରେ ବସିଲା ଉତ୍ତାରେ ସେ ରୋଟୀ ଘେନି ଆଶୀର୍ବାଦ କଲେ, ପୁଣି ତାହା ଭାଙ୍ଗି ସେମାନଙ୍କୁ ଦେବାକୁ ଲାଗିଲେ ।
31. ତହିଁରେ ସେମାନଙ୍କ ଚକ୍ଷୁ ଉନ୍ମୁକ୍ତ ହେଲା ଓ ସେମାନେ ତାହାଙ୍କୁ ଚିହ୍ନିଲେ; ଆଉ, ସେ ସେମାନଙ୍କ ଦୃଷ୍ଟିରୁ ଅନ୍ତର୍ହିତ ହେଲେ ।
32. ସେଥିରେ ସେମାନେ ପରସ୍ପର କହିଲେ, ଯେତେବେଳେ ପଥ ମଧ୍ୟରେ ସେ ଆମ୍ଭମାନଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିଲେ ଓ ଆମ୍ଭମାନଙ୍କୁ ଧର୍ମଶାସ୍ତ୍ର ବୁଝାଉଥିଲେ, ସେତେବେଳେ କଅଣ ଆମ୍ଭମାନଙ୍କ ହୃଦୟ ଉତ୍ତପ୍ତ ହେଉ ନ ଥିଲା?
33. ଆଉ, ସେମାନେ ସେହି ଦଣ୍ତରେ ଉଠି ଯିରୂଶାଲମକୁ ବାହୁଡ଼ିଯାଇ ସମବେତ ହୋଇଥିବା ଏକାଦଶଙ୍କୁ ଓ ସେମାନଙ୍କ ସଙ୍ଗୀମାନଙ୍କୁ ଦେଖିଲେ;
34. ସେମାନେ କହୁଥିଲେ, ପ୍ରଭୁ ନିଶ୍ଚୟ ଉଠିଅଛନ୍ତି ଓ ଶିମୋନଙ୍କୁ ଦର୍ଶନ ଦେଇଅଛନ୍ତି ।
35. ଆଉ, ସେମାନେ ମଧ୍ୟ ବାଟର ସମସ୍ତ ଘଟଣା ଓ ରୋଟୀ ଭାଙ୍ଗିବାରେ ସେ କିପରି ସେମାନଙ୍କ ଦ୍ଵାରା ଚିହ୍ନାଗଲେ, ସେହିସବୁ ବର୍ଣ୍ଣନା କରିବାକୁ ଲାଗିଲେ ।
36. କିନ୍ତୁ ସେମାନେ ଏହିସବୁ କଥା କହୁଥିବା ସମୟରେ ସେ ଆପେ ସେମାନଙ୍କ ମଧ୍ୟରେ ଉପସ୍ଥିତ ହେଲେ ।
37. ମାତ୍ର ସେମାନେ ତ୍ରାସଯୁକ୍ତ ଓ ଭୀତ ହୋଇ ଗୋଟିଏ ଭୂତ ଦେଖୁଅଛନ୍ତି ବୋଲି ମନେ କଲେ ।
38. ସେଥିରେ ସେ ସେମାନଙ୍କୁ କହିଲେ, କାହିଁକି ଉଦ୍ବିଗ୍ନ ହେଉଅଛ, ପୁଣି ତୁମ୍ଭମାନଙ୍କ ମନରେ କାହିଁକି ତର୍କବିତର୍କ ଉଠୁଅଛି?
39. ଏ ଯେ ସ୍ଵୟଂ ମୁଁ, ମୋର ହାତ ଓ ପାଦ ଦେଖ, ମୋତେ ସ୍ପର୍ଶ କରି ଦେଖ, କାରଣ ମୋହର ଯେପରି ମାଂସ ଓ ଅସ୍ଥି ଥିବାର ତୁମ୍ଭେମାନେ ଦେଖୁଅଛ, ଭୂତର ସେପରି ନାହିଁ।
40. [ଆଉ, ସେ ଏହା କହି ସେମାନଙ୍କୁ ଆପଣା ହାତ ଓ ପାଦ ଦେଖାଇଲେ ।]
41. ତେବେ ମଧ୍ୟ ସେମାନେ ଆନନ୍ଦ ହେତୁ ଅବିଶ୍ଵାସ କରି ଚମତ୍କୃତ ହେବାରୁ ସେ ସେମାନଙ୍କୁ ପଚାରିଲେ, ଏଠାରେ ତୁମ୍ଭମାନଙ୍କ ପାଖରେ କଅଣ କିଛି ଖାଦ୍ୟ ଅଛି?
42. ସେଥିରେ ସେମାନେ ତାହାଙ୍କୁ ଖଣ୍ତେ ଭଜା ମାଛ ଦେଲେ ।
43. ଆଉ, ସେ ତାହା ଘେନି ସେମାନଙ୍କ ସାକ୍ଷାତରେ ଭୋଜନ କଲେ ।
44. ପୁଣି, ସେ ସେମାନଙ୍କୁ କହିଲେ, ମୋଶାଙ୍କ ବ୍ୟବସ୍ଥା ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତା ଧର୍ମଶାସ୍ତ୍ରରେ ମୋʼ ବିଷୟରେ ଯାହା ଯାହା ଲେଖା ଅଛି, ସେହିସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି ।
45. ସେତେବେଳେ ସେମାନେ ଯେପରି ଧର୍ମଶାସ୍ତ୍ର ବୁଝି ପାରନ୍ତି, ସେଥିପାଇଁ ସେ ସେମାନଙ୍କର ବୁଦ୍ଧିରୂପ ଦ୍ଵାର ଉନ୍ମୁକ୍ତ କଲେ;
46. ଆଉ, ସେ ସେମାନଙ୍କୁ କହିଲେ, ଏହି ପ୍ରକାରେ ଲେଖାଅଛି, ଖ୍ରୀଷ୍ଟ ଦୁଃଖଭୋଗ କରିବେ ଓ ତୃତୀୟ ଦିନରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ କରିବେ,
47. ପୁଣି ଯିରୂଶାଲମରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପକ୍ଷମା ନିମନ୍ତେ ମନ ପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ ।
48. ତୁମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ ଅଟ ।
49. ଆଉ ଦେଖ, ମୋହର ପିତା ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ମୁଁ ତୁମ୍ଭମାନଙ୍କ ନିକଟକୁ ପଠାଉଅଛି, କିନ୍ତୁ ଊର୍ଦ୍ଧ୍ଵରୁ ଶକ୍ତିପ୍ରାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହି ନଗରରେ ରହିଥାଅ ।
50. ତତ୍ପରେ ସେ ସେମାନଙ୍କୁ ବେଥନୀଆକୁ ଯିବା ବାଟ ପର୍ଯ୍ୟନ୍ତ ଘେନିଗଲେ ଓ ଆପଣା ହାତ ତୋଳି ସେମାନଙ୍କୁ ଆଶୀର୍ବାଦ କଲେ ।
51. ପୁଣି, ସେମାନଙ୍କୁ ଆଶୀର୍ବାଦ କରୁ କରୁ ସେ ସେମାନଙ୍କଠାରୁ ଅନ୍ତର ହୋଇ ସ୍ଵର୍ଗକୁ ନୀତ ହେଲେ ।
52. ଆଉ, ସେମାନେ ତାହାଙ୍କୁ ପ୍ରଣାମ କରି ମହାନନ୍ଦରେ ଯିରୂଶାଲମକୁ ବାହୁଡ଼ିଗଲେ,
53. ପୁଣି ସର୍ବଦା ମନ୍ଦିରରେ ରହି ଈଶ୍ଵରଙ୍କ ସ୍ତବ କରିବାକୁ ଲାଗିଲେ ।