1. {ଆଦମଙ୍କର ବଂଶଧର} [PS] ଆଦମଙ୍କର ବଂଶାବଳୀର ବୃତ୍ତାନ୍ତ ଏହି। ଯେଉଁ ଦିନ ପରମେଶ୍ୱର ମନୁଷ୍ୟକୁ ସୃଷ୍ଟି କଲେ, ସେହି ଦିନ ପରମେଶ୍ୱରଙ୍କ ସାଦୃଶ୍ୟରେ ସେ ତାଙ୍କୁ ନିର୍ମାଣ କଲେ;
2. ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ; ଆଉ ସେମାନେ ସୃଷ୍ଟ ହେବା ଦିନ ସେମାନଙ୍କୁ ଆଶୀର୍ବାଦ କରି ଆଦମ (ମନୁଷ୍ୟ) ନାମ ଦେଲେ।
3. ଆଦମ ଶହେ ତିରିଶ ବର୍ଷ ବୟସରେ ଆପଣା ସାଦୃଶ୍ୟ ଓ ପ୍ରତିମୂର୍ତ୍ତିରେ ଏକ ପୁତ୍ର ଜାତ କରି ତାହାର ନାମ ଶେଥ ଦେଲେ।
4. ଶେଥର ଜନ୍ମ ଉତ୍ତାରେ ଆଦମ ଆଠଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ।
5. ଆଦମଙ୍କର ବୟସ ସର୍ବସୁଦ୍ଧା ନଅଶହ ତିରିଶ ବର୍ଷ ଥିଲା; ତହୁଁ ସେ ମଲେ।
6. ଶେଥ ଶହେ ପାଞ୍ଚ ବର୍ଷ ବୟସରେ ଈନୋଶକୁ ଜାତ କଲା;
7. ଈନୋଶର ଜନ୍ମ ଉତ୍ତାରେ ଶେଥ ଆଠଶହ ସାତ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା।
8. ଶେଥର ବୟସ ସର୍ବସୁଦ୍ଧା ନଅଶହ ବାର ବର୍ଷ ଥିଲା; ତହୁଁ ସେ ମଲା।
9. ଈନୋଶ ନବେ ବର୍ଷ ବୟସରେ କୟିନାନକୁ ଜାତ କଲା;
10. ପୁଣି, କୟିନାନର ଜନ୍ମ ଉତ୍ତାରେ ସେ ଆଠଶହ ପନ୍ଦର ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
11. ଈନୋଶର ବୟସ ସର୍ବସୁଦ୍ଧା ନଅଶହ ପାଞ୍ଚ ବର୍ଷ ଥିଲା; ତହୁଁ ସେ ମଲା।
12. କୟିନାନ ସତୁରି ବର୍ଷ ବୟସରେ ମହଲଲେଲକୁ ଜାତ କଲା;
13. ମହଲଲେଲ ଜନ୍ମିଲା ଉତ୍ତାରେ ସେ ଆଠଶହ ଚାଳିଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟାମାନଙ୍କୁ ଜାତ କଲା;
14. ଆଉ କୟିନାନର ବୟସ ସର୍ବସୁଦ୍ଧା ନଅଶହ ଦଶ ବର୍ଷ ଥିଲା; ତହୁଁ ସେ ମଲା।
15. ମହଲଲେଲ ପଞ୍ଚଷଠି ବର୍ଷ ବୟସରେ ଯେରଦକୁ ଜାତ କଲା;
16. ଯେରଦ ଜନ୍ମିଲା ଉତ୍ତାରେ ସେ ଆଠଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
17. ମହଲଲେଲର ବୟସ ସର୍ବସୁଦ୍ଧା ଆଠଶହ ପଞ୍ଚାନବେ ବର୍ଷ ଥିଲା; ତହୁଁ ସେ ମଲା।
18. ଯେରଦ ଶହେ ବାଷଠି ବର୍ଷ ବୟସରେ ହନୋକଙ୍କୁ ଜାତ କଲା;
19. ହନୋକଙ୍କର ଜନ୍ମ ଉତ୍ତାରେ ସେ ଆଠଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
20. ଯେରଦର ବୟସ ସର୍ବସୁଦ୍ଧା ନଅଶହ ବାଷଠି ବର୍ଷ ଥିଲା; ତହୁଁ ସେ ମଲା।
21. ହନୋକ ପଞ୍ଚଷଠି ବର୍ଷ ବୟସରେ ମଥୂଶେଲହକୁ ଜାତ କଲେ;
22. ମଥୂଶେଲହର ଜନ୍ମ ଉତ୍ତାରେ ହନୋକ ତିନିଶହ ବର୍ଷ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ, ପୁଣି, ସେ ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;
23. ହନୋକଙ୍କର ବୟସ ସର୍ବସୁଦ୍ଧା ତିନିଶହ ପଞ୍ଚଷଠି ବର୍ଷ ଥିଲା;
24. ହନୋକ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ; ଆଉ ସେ ଅନ୍ତର୍ହିତ ହେଲେ; ଯେହେତୁ ପରମେଶ୍ୱର ତାଙ୍କୁ ଗ୍ରହଣ କଲେ।
25. ମଥୂଶେଲହ ଶହେ ଶତାଅଶୀ ବର୍ଷ ବୟସରେ ଲେମକକୁ ଜାତ କଲା;
26. ଲେମକର ଜନ୍ମ ଉତ୍ତାରେ ମଥୂଶେଲହ ସାତଶହ ବୟାଅଶୀ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
27. ମଥୂଶେଲହର ବୟସ ସର୍ବସୁଦ୍ଧା ନଅଶହ ଊଣସ୍ତରି ବର୍ଷ ଥିଲା; ତହୁଁ ସେ ମଲା।
28. ଲେମକ ଶହେ ବୟାଅଶୀ ବର୍ଷ ବୟସରେ ଏକ ପୁତ୍ର ଜାତ କରି ତାହାର ନାମ ନୋହ (ସାନ୍ତ୍ୱନା) ଦେଲେ,
29. ଯେହେତୁ ସେ କହିଲେ, ସଦାପ୍ରଭୁଙ୍କ ଦ୍ୱାରା ଅଭିଶପ୍ତ ଭୂମିରେ ଆମ୍ଭମାନଙ୍କର ଶ୍ରମ ଓ ହସ୍ତର କ୍ଳେଶ ବିଷୟରେ ଏ ଆମ୍ଭମାନଙ୍କର ସାନ୍ତ୍ୱନା ଜନ୍ମାଇବ।
30. ନୋହଙ୍କର ଜନ୍ମ ଉତ୍ତାରେ ଲେମକ ପାଞ୍ଚଶହ ପଞ୍ଚାନବେ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;
31. ତାଙ୍କର ବୟସ ସର୍ବସୁଦ୍ଧା ସାତଶହ ସତସ୍ତରି ବର୍ଷ ଥିଲା; ତହୁଁ ସେ ମଲେ।
32. ଆଉ ନୋହଙ୍କୁ ପାଞ୍ଚଶହ ବର୍ଷ ବୟସ ହେଲା; ଆଉ ନୋହ, ଶେମ ଓ ହାମ ଓ ଯେଫତ୍କୁ ଜାତ କଲେ। [PE]