1. {ସ୍ଥାୟୀ ଶାନ୍ତି} [PS] ଆମୋସର ପୁତ୍ର ଯିଶାଇୟ, ଯିହୁଦା ଓ ଯିରୂଶାଲମ ବିଷୟରେ ଯେଉଁ ଦର୍ଶନ ପାଇଲେ, ତହିଁର ବୃତ୍ତାନ୍ତ।
2. ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।
3. ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, “ତୁମ୍ଭେମାନେ ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ୱରଙ୍କ ଗୃହକୁ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା।” କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ।
4. ପୁଣି, ସେ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଅନେକ ଗୋଷ୍ଠୀ ସମ୍ବନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଖଡ୍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦାଆ ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ୍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ।
5. ହେ ଯାକୁବ ବଂଶ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଦୀପ୍ତିରେ ଗମନ କରୁ। [PS]
6. {ସଦାପ୍ରଭୁଙ୍କ ଦିନ} [PS] କାରଣ ତୁମ୍ଭେ ଆପଣା ଲୋକ ଯାକୁବ ବଂଶକୁ ପରିତ୍ୟାଗ କରିଅଛ, ଯେହେତୁ ସେମାନେ ପୂର୍ବଦେଶୀୟ ଆଚାରରେ ପରିପୂର୍ଣ୍ଣ ଓ ପଲେଷ୍ଟୀୟମାନଙ୍କ ନ୍ୟାୟ ଗଣକ ହୋଇଅଛନ୍ତି, ପୁଣି, ସେମାନେ ବିଦେଶୀୟ ସନ୍ତାନଗଣ ସହିତ ହସ୍ତ ତାଳି ଦିଅନ୍ତି।
7. ସେମାନଙ୍କ ଦେଶ ମଧ୍ୟ ରୂପା ଓ ସୁନାରେ ପରିପୂର୍ଣ୍ଣ; ସେମାନଙ୍କ ଧନର ସୀମା ନାହିଁ; ଆହୁରି, ସେମାନଙ୍କ ଦେଶ ଅଶ୍ୱରେ ପରିପୂର୍ଣ୍ଣ ଓ ସେମାନଙ୍କ ରଥର ସୀମା ନାହିଁ।
8. ସେମାନଙ୍କ ଦେଶ ମଧ୍ୟ ପ୍ରତିମାରେ ପରିପୂର୍ଣ୍ଣ; ସେମାନେ ଆପଣାମାନଙ୍କ ଅଙ୍ଗୁଳିନିର୍ମିତ ସ୍ୱହସ୍ତକୃତ ବସ୍ତୁକୁ ପ୍ରଣାମ କରନ୍ତି।
9. ସାମାନ୍ୟ ଲୋକ ଅଧୋମୁଖ ଓ ମହାନ ଲୋକ ନତ ହୁଏ; ଏହେତୁ ସେମାନଙ୍କୁ କ୍ଷମା କର ନାହିଁ।
10. ତୁମ୍ଭେ ସଦାପ୍ରଭୁଙ୍କ ଭୟାନକତ୍ତ୍ୱ ଓ ତାହାଙ୍କ ମହିମାର ତେଜରୁ, ଶୈଳରେ ପ୍ରବେଶ କରି ଧୂଳିରେ ଆପଣାକୁ ଲୁଚାଅ।
11. ମନୁଷ୍ୟର ଉଚ୍ଚ ଦୃଷ୍ଟି ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ, ପୁଣି, ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ।
12. କାରଣ ଅହଙ୍କାରୀ, ଗର୍ବିତ ଓ ଉଚ୍ଚୀକୃତ ସମସ୍ତଙ୍କ ପ୍ରତିକୂଳରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଦିନ ଉପସ୍ଥିତ ହେବ, ତହିଁରେ ତାହା ନତ ହେବ;
13. ଅର୍ଥାତ୍, (ସେହି ଦିନ) ଲିବାନୋନର ଉଚ୍ଚ ଓ ଉନ୍ନତ ସକଳ ଏରସ ବୃକ୍ଷର ପ୍ରତିକୂଳ ଓ ବାଶନର ସମସ୍ତ ଅଲୋନ ବୃକ୍ଷର ପ୍ରତିକୂଳ;
14. ପୁଣି, ସକଳ ଉଚ୍ଚ ପର୍ବତର ପ୍ରତିକୂଳ ଓ ସକଳ ଉନ୍ନତ ଉପପର୍ବତର ପ୍ରତିକୂଳ;
15. ଆଉ, ପ୍ରତ୍ୟେକ ଉଚ୍ଚ ଦୁର୍ଗର ପ୍ରତିକୂଳ ଓ ପ୍ରତ୍ୟେକ ସୁଦୃଢ଼ ପ୍ରାଚୀରର ପ୍ରତିକୂଳ;
16. ତର୍ଶୀଶ୍ର ସକଳ ଜାହାଜର ପ୍ରତିକୂଳ ଓ ମନୋହର ସକଳ ଶିଳ୍ପକର୍ମର ପ୍ରତିକୂଳ ହେବ।
17. ପୁଣି, ମନୁଷ୍ୟର ଉଚ୍ଚତା ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ; ଆଉ ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ।
18. ପୁଣି, ପ୍ରତିମାସକଳ ନିଃଶେଷ ରୂପେ ଲୁପ୍ତ ହେବେ।
19. ଆଉ, ଯେତେବେଳେ ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବାକୁ ଉଠିବେ, ସେତେବେଳେ ଲୋକମାନେ ତାହାଙ୍କ ଭୟାନକତ୍ତ୍ୱ ଓ ମହିମାର ତେଜରୁ ଶୈଳର ଗୁମ୍ଫା ଓ ପୃଥିବୀର ଗର୍ତ୍ତରେ ପ୍ରବେଶ କରିବେ।
20. ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବା ପାଇଁ ଉଠିଲେ, ତାହାଙ୍କ ଭୟାନକତ୍ତ୍ୱ ଓ ତାହାଙ୍କ ମହିମାର ତେଜରୁ ଶୈଳର ଗହ୍ୱର ଓ ଶୈଳର ବିଦୀର୍ଣ୍ଣ ସ୍ଥାନରେ ପ୍ରବେଶ କରିବା ପାଇଁ;
21. ମନୁଷ୍ୟ ଆପଣାର ଭଜନାର୍ଥେ ନିର୍ମିତ ରୌପ୍ୟମୟ ପ୍ରତିମା ଓ ସ୍ୱର୍ଣ୍ଣମୟ ପ୍ରତିମାଗଣକୁ ସେହି ଦିନ ମୂଷିକ ଓ ଚାମଚିକାଗଣର ନିକଟରେ ପକାଇ ଦେବ।
22. ତୁମ୍ଭେମାନେ ନାସାଗ୍ରେ ପ୍ରାଣବାୟୁଧାରୀ ମନୁଷ୍ୟର (ଆଶ୍ରୟରୁ) କ୍ଷାନ୍ତ ହୁଅ; କାରଣ ସେ କାହା ମଧ୍ୟରେ ଗଣ୍ୟ ? [PE]