1. {#1ଆୟୁବ - ମୋହର ସତ୍ୟତା ରଖିବି } [PS]ଏଥିଉତ୍ତାରେ ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା,
2. “ପରମେଶ୍ୱର, ଯେ ମୋହର ସ୍ୱତ୍ୱ ହରଣ କରିଅଛନ୍ତି; ସର୍ବଶକ୍ତିମାନ, ଯେ ମୋହର ପ୍ରାଣକୁ ତିକ୍ତ କରିଅଛନ୍ତି;
3. (କାରଣ ଏବେ ହେଁ ମୋର ଜୀବନ ମୋ’ ମଧ୍ୟରେ ସୁସ୍ଥ ଅଛି ଓ ମୋ’ ନାସିକାରେ ପରମେଶ୍ୱର ଦତ୍ତ ନିଶ୍ୱାସ ଅଛି;) ସେ ଜୀବିତ ଥିବା ପ୍ରମାଣେ,
4. ନିଶ୍ଚୟ ମୋ’ ଓଷ୍ଠାଧର ଅଧର୍ମର କଥା କହିବ ନାହିଁ ଓ ମୋହର ଜିହ୍ୱା ପ୍ରତାରଣାର କଥା ଉଚ୍ଚାରଣ କରିବ ନାହିଁ।
5. ମୁଁ ଯେ ତୁମ୍ଭମାନଙ୍କୁ ନିର୍ଦ୍ଦୋଷ କରିବି, ଏହା କଦାପି ନ ହେଉ; ମୁଁ ମରଣ ପର୍ଯ୍ୟନ୍ତ ମୋହର ସରଳତା ଆପଣାଠାରୁ ଦୂର କରିବି ନାହିଁ।
6. ମୁଁ ଆପଣା ଧାର୍ମିକତା ଦୃଢ଼ କରି ଧରୁଅଛି, ଆଉ ତାହା ଛାଡ଼ିବି ନାହିଁ; ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ମୋ’ ଅନ୍ତଃକରଣ ମୋତେ ନିନ୍ଦା କରିବ ନାହିଁ।
7. ମୋହର ଶତ୍ରୁ ଦୁଷ୍ଟର ପରି ହେଉ ଓ ମୋ’ ପ୍ରତିକୂଳରେ ଉଠିବା ଲୋକ ଅଧାର୍ମିକ ତୁଲ୍ୟ ହେଉ।
8. କାରଣ ଭକ୍ତିହୀନ ଲାଭ ପ୍ରାପ୍ତ ହେଲେ ହେଁ, ପରମେଶ୍ୱର ତାହାର ପ୍ରାଣ ହରଣ କଲେ, ତାହାର ପ୍ରତ୍ୟାଶା କଅଣ ?
9. ତାହା ଉପରେ ଦୁଃଖ ଉପସ୍ଥିତ ହେଲେ କି ପରମେଶ୍ୱର ତାହାର କ୍ରନ୍ଦନ ଶୁଣିବେ ?
10. ସେ କି ସର୍ବଶକ୍ତିମାନ ପରମେଶ୍ଵରଙ୍କଠାରେ ଆନନ୍ଦ କରିବ ଓ ସବୁ ସମୟରେ ପରମେଶ୍ୱରଙ୍କୁ ଡାକିବ ?
11. ମୁଁ ପରମେଶ୍ୱରଙ୍କ ହସ୍ତ ବିଷୟରେ ତୁମ୍ଭମାନଙ୍କୁ ଶିକ୍ଷା ଦେବି; ଯାହା ସର୍ବଶକ୍ତିମାନଙ୍କଠାରେ ଅଛି, ତାହା ମୁଁ ଗୋପନ କରିବି ନାହିଁ।
12. ଦେଖ, ତୁମ୍ଭେ ସମସ୍ତେ ନିଜେ ତାହା ଦେଖିଅଛ; ତେବେ କାହିଁକି ତୁମ୍ଭେମାନେ ସମ୍ପୂର୍ଣ୍ଣ ଅସାର ହୋଇଅଛ ?
13. ପରମେଶ୍ୱରଙ୍କ ନିକଟରେ ଦୁଷ୍ଟଲୋକର ଏହି ବାଣ୍ଟ ଓ ଉପଦ୍ରବୀମାନେ ସର୍ବଶକ୍ତିମାନଙ୍କଠାରୁ ଏହି ଅଧିକାର ପ୍ରାପ୍ତ ହୁଅନ୍ତି।
14. ଯେବେ ତାହାର ସନ୍ତାନଗଣ ବୃଦ୍ଧି ପାଆନ୍ତି, ତେବେ ଖଡ୍ଗ ନିମନ୍ତେ ଓ ତାହାର ସନ୍ତାନସନ୍ତତି ଭକ୍ଷ୍ୟରେ ତୃପ୍ତ ହେବେ ନାହିଁ।
15. ତାହାର ଅବଶିଷ୍ଟ ଲୋକମାନେ ମୃତ୍ୟୁୁରେ କବରସ୍ଥ ହେବେ ଓ ସେମାନଙ୍କର[* ସେମାନଙ୍କର କିମ୍ବା ତାହାର ] ବିଧବାମାନେ କିଛି ବିଳାପ କରିବେ ନାହିଁ।
16. ଯଦ୍ୟପି ସେ ଧୂଳି ପରି ରୂପା ଗଦା କରେ ଓ କର୍ଦ୍ଦମ ପରି ବସ୍ତ୍ର ପ୍ରସ୍ତୁତ କରେ,
17. ସେ ତାହା କରିପାରେ, ତଥାପି ଧାର୍ମିକ ଲୋକେ ତାହା ପରିଧାନ କରିବେ ଓ ନିର୍ଦ୍ଦୋଷ ଲୋକେ ରୂପା ବିଭାଗ କରି ନେବେ।
18. ସେ କୀଟ ପରି ଓ ଜଗୁଆଳିର କୃତ କୁଟୀର ପରି ଆପଣା ଗୃହ ନିର୍ମାଣ କରେ।
19. ସେ ଧନୀ ହୋଇ ଶୟନ କରେ, ମାତ୍ର ସେ ସଂଗୃହୀତ ହେବ ନାହିଁ; ସେ ଆପଣା ଚକ୍ଷୁ ଫିଟାଏ, ଆଉ ସେ ନ ଥାଏ।
20. ଜଳରାଶି ପରି ତାହାକୁ ଭୟ ଆକ୍ରମଣ କରେ; ରାତ୍ରିରେ ତୋଫାନ ତାହାକୁ ଅପହରଣ କରି ନିଏ।
21. ପୂର୍ବୀୟ ବାୟୁ ତାହାକୁ ଉଡ଼ାଇ ନିଏ ଓ ସେ ଚାଲିଯାଏ ଓ ସେ ତାହାକୁ ସ୍ୱସ୍ଥାନରୁ ଝାଡ଼ି ନିଏ।
22. କାରଣ ପରମେଶ୍ୱର ଦୟା ନ କରି ତାହା ପ୍ରତି ତୀର ନିକ୍ଷେପ କରିବେ; ସେ ତାହାଙ୍କ ହସ୍ତରୁ ପଳାଇବାକୁ ଇଚ୍ଛା କରିବ।
23. ଲୋକମାନେ ତାହା ପ୍ରତି ହାତତାଳି ମାରିବେ ଓ ଶୀଷ୍ ମାରି ତାହାକୁ ସ୍ୱସ୍ଥାନରୁ ଦୂର କରିବେ। [PE]