1. {#1ସହସ୍ର ବର୍ଷର ରାଜତ୍ୱ } [PS]ପରେ ମୁଁ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସିବାର ଦେଖିଲି। ତାହାଙ୍କ ହସ୍ତରେ ପାତାଳକୁଣ୍ଡର ଚାବି ଓ ଗୋଟିଏ ବୃହତ୍ ଶିକୁଳି ଥିଲା ।
2. ସେ ସେହି ସର୍ପ, ସେହି ପୁରାତନ ନାଗ, ଅର୍ଥାତ୍ ଦିଆବଳ ଓ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ବାନ୍ଧି ପକାଇଲେ,
3. ପୁଣି, ତାହାକୁ ପାତାଳକୁଣ୍ଡରେ ନିକ୍ଷେପ କରି ସେଥିର ମୁଖ ବନ୍ଦ କଲେ ଓ ତାହା ଉପରେ ମୁଦ୍ରାଙ୍କ ଦେଲେ, ଯେପରି ସେହି ଏକ ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ସେ ଜାତିସମୂହକୁ ଆଉ ଭ୍ରାନ୍ତ କରି ପାରିବ ନାହିଁ; ଏହାପରେ ଅଳ୍ପ କାଳ ନିମନ୍ତେ ତାହାକୁ ମୁକ୍ତ ହେବାକୁ ହେବ ।
4. ପରେ ମୁଁ ସିଂହାସନସମୂହ ଦେଖିଲି; ସେହି ସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ୱରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ ।
5. ଅବଶିଷ୍ଟ ମୃତ ଲୋକମାନେ ସେହି ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ଜୀବିତ ହେଲେ ନାହିଁ । ଏହା ହିଁ ପ୍ରଥମ ପୁନରୁତ୍ଥାନ ।
6. ଯେଉଁମାନେ ପ୍ରଥମ ପୁନରୁତ୍ଥାନର ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର; ସେମାନଙ୍କ ଉପରେ ଦ୍ୱିତୀୟ ମୃତ୍ୟୁର କୌଣସି ଅଧିକାର ନାହିଁ, ବରଂ ସେମାନେ ଈଶ୍ୱରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଏକ ହଜାର ବର୍ଷ ପର୍ଯ୍ୟନ୍ତ ତାହାଙ୍କ ସହିତ ରାଜତ୍ୱ କରିବେ । [PE]
7. {#1ଶୟତାନର ଅନ୍ତିମ ପରାଜୟ } [PS]ସେହି ଏକ ହଜାର ବର୍ଷ ଶେଷ ହୁଅନ୍ତେ ଶୟତାନ କାରାଗାରରୁ ମୁକ୍ତ ହେବ;
8. ସେଥିରେ ସେ ପୃଥିବୀର ଚାରି କୋଣରେ ଥିବା ଜାତିସମୂହକୁ, ଅର୍ଥାତ୍ ସମୁଦ୍ରର ବାଲୁକା ସଦୃଶ ଅସଂଖ୍ୟ ଯେ ଗୋଗ୍ ଓ ମାଗଗ୍, ସେମାନଙ୍କୁ ଭ୍ରାନ୍ତ କରି ଯୁଦ୍ଧ ନିମନ୍ତେ ଏକତ୍ର କରିବାକୁ ବାହାରିଯିବ ।
9. ସେମାନେ ପୃଥିବୀର ପ୍ରଶସ୍ତ ସ୍ଥାନରେ ବିସ୍ତାରିତ ହୋଇ ସାଧୁମାନଙ୍କ ଶିବିର ଓ ପ୍ରିୟତମା ନଗରୀକୁ ବେଷ୍ଟନ କଲେ । ସେତେବେଳେ ସ୍ୱର୍ଗରୁ ଅଗ୍ନି ପଡ଼ି ସେମାନଙ୍କୁ ଗ୍ରାସ କଲା ।
10. ଯେଉଁ ଦିଆବଳ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ଡ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି, ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ । [PE]
11. {#1ଶେଷ ବିଚାର } [PS]ତତ୍ପରେ ମୁଁ ଗୋଟିଏ ବୃହତ୍ ଶୁଭ୍ରବର୍ଣ୍ଣ ସିଂହାସନ ଓ ସେଠାରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ଡଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ ।
12. ପୁଣି, ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ ।
13. ସମୁଦ୍ର ଆପଣାର ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲା, ଆଉ ମୃତ୍ୟୁ ଓ ପାତାଳ ସେମାନଙ୍କ ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲେ; ପୁଣି, ସେମାନେ ପ୍ରତ୍ୟେକେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ ।
14. ତତ୍ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦରେ ପକାଗଲା । ଏହି ମୃତ୍ୟୁ, ଅର୍ଥାତ୍ ଅଗ୍ନିମୟ ହ୍ରଦ, ଦ୍ୱିତୀୟ ମୃତ୍ୟୁ ।
15. ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା । [PE]