1. ନିଶ୍ଚୟ ରୂପାର ଆକର ଅଛି ଓ ଲୋକମାନେ ଯେଉଁ ସୁବର୍ଣ୍ଣ ପରିଷ୍କାର କରନ୍ତି, ତହିଁର ସ୍ଥାନ ଅଛି ।
2. ମୃତ୍ତିକାରୁ ଲୁହା କଢ଼ାଯାଏ ଓ ପ୍ରସ୍ତରରୁ ପିତ୍ତଳ ତରଳାଯାଏ ।
3. ମନୁଷ୍ୟ ଅନ୍ଧକାରର ସୀମା ନିର୍ଣ୍ଣୟ କରେ ଓ ପ୍ରାନ୍ତସୀମା ପର୍ଯ୍ୟନ୍ତ ନିବିଡ଼ ଅନ୍ଧକାର ଓ ମୃତ୍ୟୁଚ୍ଛାୟାସ୍ଥିତ ପ୍ରସ୍ତରସବୁ ଅନୁସନ୍ଧାନ କରେ ।
4. ସେ ମନୁଷ୍ୟମାନଙ୍କ ପ୍ରବାସ-ସ୍ଥାନରୁ ଦୂରରେ ସୁଡ଼ଙ୍ଗ ଖୋଳେ; ସେମାନେ ନିକଟଗାମୀ ଚରଣ ଦ୍ଵାରା ବିସ୍ମୃତ ହୁଅନ୍ତି; ସେମାନେ ମନୁଷ୍ୟମାନଙ୍କଠାରୁ ଦୂରରେ ଝୁଲନ୍ତି, ସେମାନେ ଏଣେତେଣେ ଦୋହଲନ୍ତି ।
5. ମୃତ୍ତିକାରୁ ଖାଦ୍ୟ ଉତ୍ପନ୍ନ ହୁଏ ଓ ତହିଁର ଅଧୋଭାଗ ଅଗ୍ନି ଦ୍ଵାରା ଲଣ୍ତଭଣ୍ତ ହେଲା ପରି ହୁଏ ।
6. ତହିଁର ପ୍ରସ୍ତର ନୀଳକା; ମଣିର ସ୍ଥାନ ଓ ତହିଁରେ ସୁବର୍ଣ୍ଣ ରେଣୁ ଥାଏ ।
7. କୌଣସି ଶିକାରୀ ପକ୍ଷୀ ସେହି ପଥ ଜାଣେ ନାହିଁ, କିଅବା ବାଜପକ୍ଷୀର ଚକ୍ଷୁ ହିଁ ତାହା ଦେଖି ନାହିଁ;
8. ଦର୍ପୀ ପଶୁଗଣ ତହିଁରେ ଗତାୟାତ କରି ନାହାନ୍ତି, ଅବା ଭୟାନକ ସିଂହ ତହିଁ ନିକଟ ଦେଇ ଯାଇ ନାହିଁ ।
9. ମନୁଷ୍ୟ ଦୃଢ଼ ଶୈଳ ଉପରେ ଆପଣା ହାତ ଦିଏ; ସେ ପର୍ବତଗଣକୁ ସମୂଳେ ଓଲ୍ଟାଇ ପକାଏ ।
10. ସେ ଶୈଳ ମଧ୍ୟରେ ନାଳ କାଟେ ଓ ତାହାର ଚକ୍ଷୁ ସର୍ବପ୍ରକାର ବହୁମୂଲ୍ୟ ଦ୍ରବ୍ୟ ଦେଖେ ।
11. ନ ଝରିବା ପାଇଁ ସେ ଜଳସ୍ରୋତ ବନ୍ଦ କରେ; ଆଉ, ସେ ଆଲୁଅକୁ ଗୁପ୍ତ ଦ୍ରବ୍ୟ ଆଣେ ।
12. ମାତ୍ର ଜ୍ଞାନ କେଉଁଠାରେ ପ୍ରାପ୍ତ ହୁଏ? ଓ ବୁଦ୍ଧିର ସ୍ଥାନ କାହିଁ?
13. ମନୁଷ୍ୟ ତହିଁର ମୂଲ୍ୟ ଜାଣେ ନାହିଁ; କିଅବା ଜୀବିତମାନଙ୍କ ଦେଶରେ ତାହା ମିଳେ ନାହିଁ ।
14. ବାରିଧି କହେ, ତାହା ମୋʼଠାରେ ନାହିଁ; ପୁଣି, ସମୁଦ୍ର କହେ, ତାହା ମୋʼଠାରେ ନାହିଁ ।
15. ସୁବର୍ଣ୍ଣ ଦ୍ଵାରା ତାହା ପ୍ରାପ୍ତ ହୋଇ ନ ପାରେ, କିଅବା ତହିଁର ମୂଲ୍ୟାର୍ଥେ ରୂପା ତୌଲା ଯିବ ନାହିଁ ।
16. ଓଫୀର୍ର ସୁବର୍ଣ୍ଣ ଦ୍ଵାରା ତହିଁର ମୂଲ୍ୟ କରାଯାଇ ନ ପାରେ, ବହୁମୂଲ୍ୟ ଗୋମେଦକ ଅବା ନୀଳକା; ମଣି ଦ୍ଵାରା ନୁହେଁ ।
17. ସ୍ଵର୍ଣ୍ଣ ଓ କାଚ ତହିଁର ସମାନ ହୋଇ ନ ପାରେ; କିଅବା ଶୁଦ୍ଧ ସ୍ଵର୍ଣ୍ଣାଭରଣ ତହିଁର ପରିବର୍ତ୍ତ ହେବ ନାହିଁ ।
18. ତହିଁ ନିକଟରେ ପ୍ରବାଳ ଓ ସ୍ଫଟିକର କଥା କୁହାଯାଏ ନାହିଁ; କାରଣ ପଦ୍ମରାଗ ମଣି ଅପେକ୍ଷା ଜ୍ଞାନର ମୂଲ୍ୟ ଅଧିକ ।
19. କୂଶଦେଶୀୟ ପୀତମଣି ତହିଁର ସମାନ ହେବ ନାହିଁ, କିଅବା ନିର୍ମଳ ସୁବର୍ଣ୍ଣରେ ତହିଁର ମୂଲ୍ୟ କରାଯିବ ନାହିଁ ।
20. ତେବେ ଜ୍ଞାନ କେଉଁଠାରୁ ଆସେ? ଓ ବୁଦ୍ଧିର ସ୍ଥାନ କାହିଁ?
21. ତାହା ତ ସମସ୍ତ ପ୍ରାଣୀଙ୍କ ଚକ୍ଷୁରୁ ଗୁପ୍ତ ଓ ଆକାଶର ପକ୍ଷୀମାନଙ୍କଠାରୁ ଆବୃତ କରାଯାଇଅଛି ।
22. ବିନାଶ ଓ ମୃତ୍ୟୁ କହନ୍ତି, ଆମ୍ଭେମାନେ ସ୍ଵକର୍ଣ୍ଣରେ ତହିଁର ଜନରବ ଶୁଣିଅଛୁ ।
23. ପରମେଶ୍ଵର ତହିଁର ପଥ ଜାଣନ୍ତି ଓ ସେ ତହିଁର ସ୍ଥାନ ଜ୍ଞାତ ଅଛନ୍ତି ।
24. କାରଣ ସେ ପୃଥିବୀର ପ୍ରା; ପର୍ଯ୍ୟନ୍ତ ଅନାଇ ଓ ସମୁଦାୟ ଆକାଶମଣ୍ତଳର ଅଧଃସ୍ଥାନ ଦେଖି
25. ବାୟୁର ଓଜନ ନିରୂପଣ କରନ୍ତି ଓ ପରିମାଣ ଦ୍ଵାରା ଜଳ ପରିମିତ କରନ୍ତି ।
26. ଯେତେବେଳେ ସେ ବୃଷ୍ଟିର ନିୟମ ନିରୂପଣ କଲେ ଓ ମେଘଗର୍ଜ୍ଜନର ବିଦ୍ୟୁତ ପାଇଁ ପଥ ସ୍ଥିର କଲେ;
27. ସେତେବେଳେ ସେ ତାହା ଦେଖିଲେ ଓ ତାହା ପ୍ରଚାର କଲେ; ସେ ତାହା ସ୍ଥାପନ କଲେ, ଆଉ ତହିଁର ତଦ; କଲେ ।
28. ପୁଣି, ସେ ମନୁଷ୍ୟକୁ କହିଲେ, ଦେଖ, ପ୍ରଭୁ ବିଷୟକ ଭୟ ହିଁ ଜ୍ଞାନ ଓ କୁକ୍ରିୟା ତ୍ୟାଗ ହିଁ ବୁଦ୍ଧି ।