1. କିହେତୁ ସର୍ବଶକ୍ତିମାନଙ୍କ ଦ୍ଵାରା ସମୟ ନିରୂପିତ ହୋଇ ନାହିଁ? ଓ ତାହାଙ୍କୁ ଜାଣିବା ଲୋକମାନେ କିହେତୁ ତାହାଙ୍କ ଦିନ ଦେଖନ୍ତି ନାହିଁ?
2. କେହି କେହି ଭୂମିର ସୀମାଚିହ୍ନ ଘୁଞ୍ଚାନ୍ତି, ସେମାନେ ବଳରେ ମେଷପଲ ହରଣ କରି ଚରାନ୍ତି ।
3. ସେମାନେ ପିତୃହୀନର ଗର୍ଦ୍ଦଭ ଅଡ଼ାଇ ନିଅନ୍ତି, ବିଧବାର ଗୋରୁ ବନ୍ଧକ ରୂପେ ନିଅନ୍ତି ।
4. ସେମାନେ ଦୀନହୀନକୁ ବାଟରୁ ତଡ଼ିଦିଅନ୍ତି; ଦେଶସ୍ଥ ଦରିଦ୍ରମାନେ ଏକତ୍ର ଲୁଚନ୍ତି ।
5. ଦେଖ, ସେମାନେ ପ୍ରାନ୍ତରସ୍ଥ ବନ୍ୟ ଗର୍ଦ୍ଦଭ ତୁଲ୍ୟ ଆପଣା ଆପଣା କାର୍ଯ୍ୟରେ ବାହାରି ଯନିପୂର୍ବକ ଆହାର ଅନ୍ଵେଷଣ କରନ୍ତି; ଅରଣ୍ୟ ସେମାନଙ୍କ ବାଳକଗଣ ନିମନ୍ତେ ଆହାର ଉତ୍ପନ୍ନ କରେ ।
6. ସେମାନେ କ୍ଷେତ୍ରରେ ଆପଣାମାନଙ୍କ ଖାଦ୍ୟ କାଟନ୍ତି ଓ ଦୁଷ୍ଟର ଦ୍ରାକ୍ଷାକ୍ଷେତ୍ରର ଅବଶିଷ୍ଟ ଫଳ ସାଉଣ୍ଟନ୍ତି ।
7. ସେମାନେ ରାତ୍ରିଯାକ ବସ୍ତ୍ର ବିନା ଉଲଙ୍ଗ ହୋଇ ଶୟନ କରନ୍ତି ଓ ଶୀତକାଳରେ ସେମାନଙ୍କର ଆଚ୍ଛାଦନ ବସ୍ତ୍ର ନ ଥାଏ ।
8. ସେମାନେ ପର୍ବତରେ ବୃଷ୍ଟିରେ ତିନ୍ତନ୍ତି, ପୁଣି ଆଶ୍ରୟ ଅଭାବରୁ ଶୈଳରେ ଶରଣ ନିଅନ୍ତି ।
9. କେହି କେହି ପିତୃହୀନକୁ ମାତୃସ୍ତନରୁ ଛଡ଼ାଇ ନିଅନ୍ତି ଓ ଦରିଦ୍ରଠାରୁ ବନ୍ଧକ ନିଅନ୍ତି;
10. ଏହେତୁ ସେମାନେ ବସ୍ତ୍ର ବିନା ଉଲଙ୍ଗ ହୋଇ ବୁଲନ୍ତି ଓ କ୍ଷୁଧିତ ହୋଇ ଶସ୍ୟବିଡ଼ା ବହନ୍ତିନ୍ତ
11. ସେମାନେ ଏହି ଲୋକମାନଙ୍କ ପ୍ରାଚୀର ଭିତରେ ତୈଳ ପ୍ରସ୍ତୁତ କରନ୍ତି ଓ ସେମାନଙ୍କ ଦ୍ରାକ୍ଷାଯନ୍ତ୍ର ଦଳି ତୃଷିତ ହୁଅନ୍ତି ।
12. ଜନପୂର୍ଣ୍ଣ ନଗରରୁ ଲୋକେ କାତରୋକ୍ତି କରନ୍ତି, ଆହତ ଲୋକର ପ୍ରାଣ ଡାକ ପକାଏ; ତଥାପି ପରମେଶ୍ଵର ଏହା ଦୋଷ ରୂପେ ଗଣନା କରନ୍ତି ନାହିଁ ।
13. ସେମାନଙ୍କର କେହି କେହି ଆଲୁଅର ବିଦ୍ରୋହୀ; ତହିଁର ମାର୍ଗ ସେମାନେ ଜାଣନ୍ତି ନାହିଁ, ଅବା ତହିଁର ପଥରେ ରହନ୍ତି ନାହିଁ ।
14. ହତ୍ୟାକାରୀ ଅରୁଣୋଦୟ ବେଳେ ଉଠି ଦରିଦ୍ର ଓ ଦୀନହୀନକୁ ବଧ କରେ ଓ ରାତ୍ରିରେ ସେ ଚୋର ପରି ହୁଏ ।
15. ପାରଦାରିକର ଚକ୍ଷୁ ମଧ୍ୟ ସନ୍ଧ୍ୟାକାଳର ଅପେକ୍ଷା କରି କହେ, କେହି ମୋତେ ଦେଖିବ ନାହିଁ ଓ ସେ ଆପଣା ମୁଖ ଅନ୍ୟ ରୂପ କରେ ।
16. ସେମାନେ ଅନ୍ଧକାରରେ ଗୃହ ସିନ୍ଧି କରନ୍ତି; ସେମାନେ ଦିନ ବେଳେ ଲୁଚି ରହନ୍ତି, ସେମାନେ ଆଲୁଅ ଜାଣନ୍ତି ନାହିଁ ।
17. କାରଣ ସେସମସ୍ତଙ୍କ ପ୍ରତି ପ୍ରଭାତ ମୃତ୍ୟୁଛାୟା ପରି ଅଟେ; ସେମାନେ ମୃତ୍ୟୁଛାୟାର ଭୟାନକତା ଜାଣନ୍ତି ।
18. ସେ ଜଳ ଉପରେ ଶୀଘ୍ରଗାମୀ; ଦେଶରେ ସେମାନଙ୍କ ଅଧିକାର ଅଭିଶପ୍ତ ଅଟେ; ସେ ଦ୍ରାକ୍ଷାକ୍ଷେତ୍ରର ପଥ ଆଡ଼କୁ ଫେରେ ନାହିଁ ।
19. ଯେପରି ଅନାବୃଷ୍ଟି ଓ ଗ୍ରୀଷ୍ମ ହିମଜଳକୁ, ସେପରି ପାତାଳ ପାପୀମାନଙ୍କୁ ନଷ୍ଟ କରେ ।
20. ଗର୍ଭ ତାହାକୁ ପାସୋରି ଯିବ; କୀଟ ସୁସ୍ଵାଦୁ ଭକ୍ଷ୍ୟ ପରି ତାହାକୁ ଖାଇବ, ସେ ଆଉ ସ୍ମରଣ କରାଯିବ ନାହିଁ; ପୁଣି, ଅଧର୍ମ ବୃକ୍ଷ ପରି ଭଙ୍ଗା ଯିବ ।
21. ସେ ନିଃସନ୍ତାନା ବନ୍ଧ୍ୟାକୁ ଗ୍ରାସ କରେ ଓ ବିଧବାର ମଙ୍ଗଳ କରେ ନାହିଁ ।
22. ସେ ଆପଣା ଶକ୍ତିରେ ବିକ୍ରମୀ ଲୋକକୁ ମଧ୍ୟ ଟାଣି ପକାଏ, ସେ ଉଠିଲେ କାହାରି ଜୀବନର ସ୍ଥିରତା ନ ଥାଏ ।
23. ପରମେଶ୍ଵର ସେମାନଙ୍କୁ ନିରାପଦରେ ରହିବାକୁ ଦିଅନ୍ତି ଓ ସେମାନେ ତହିଁରେ ନିର୍ଭର ରଖନ୍ତି ଓ ତାହାଙ୍କ ଦୃଷ୍ଟି ସେମାନଙ୍କ ମାର୍ଗରେ ଥାଏ ।
24. ସେମାନେ ଉନ୍ନତ ହୁଅନ୍ତି; ତଥାପି ଅଳ୍ପ କାଳରେ ଅନ୍ତର୍ହିତ ହୁଅନ୍ତି; ହଁ, ସେମାନେ ଅବନତ ହୁଅନ୍ତି, ସେମାନେ ଅନ୍ୟ ସମସ୍ତଙ୍କ ପରି ପଥରୁ ଘେନାଯାʼନ୍ତି, ଆଉ ଶସ୍ୟଶିଁଷାର ଅଗ୍ରଭାଗ ପରି କଟାଯାʼନ୍ତି ।
25. ପୁଣି, ବର୍ତ୍ତମାନ ଯେବେ ଏପରି ନ ହୁଏ, ତେବେ କିଏ ଆମ୍ଭକୁ ମିଥ୍ୟାବାଦୀ ବୋଲି ପ୍ରମାଣ କରିବ ଓ ଆମ୍ଭ କଥାକୁ ନିରର୍ଥକ କରିବ?