1. ତହିଁରେ ଆୟୁବ ଉତ୍ତର କରି କହିଲା,
2. ତୁମ୍ଭେ କିପରି ବଳହୀନ ଲୋକର ସାହାଯ୍ୟ କରିଅଛ! ତୁମ୍ଭେ କିପରି ଦୁର୍ବଳ ବାହୁକୁ ଉଦ୍ଧାର କରିଅଛଣ!
3. ତୁମ୍ଭେ କିପରି ଜ୍ଞାନହୀନ ଲୋକକୁ ପରାମର୍ଶ ଦେଇଅଛ ଓ ପ୍ରଚୁର ରୂପେ ବିଜ୍ଞତା ପ୍ରକାଶ କରିଅଛ!
4. ତୁମ୍ଭେ କାହାକୁ କଥା କହୁଅଛ? ତୁମ୍ଭଠାରୁ କାହାର ଆତ୍ମା ନିର୍ଗତ ହେଲା?
5. ପ୍ରେତଗଣ ଜଳରାଶି ଓ ତନ୍ନିବାସୀଗଣ ତଳେ କମ୍ପିତ ହୁଅନ୍ତି ।
6. ତାହାଙ୍କ ସମ୍ମୁଖରେ ପାତାଳ ଅନାବୃତ ଓ ଅବଦ୍ଦୋନର କୌଣସି ଆବରଣ ନାହିଁ ।
7. ସେ ଶୂନ୍ୟ ଉପରେ ଉତ୍ତର-କେନ୍ଦ୍ର ପ୍ରସାରନ୍ତି ଓ ଅବସ୍ତୁ ଉପରେ ପୃଥିବୀକି ଝୁଲାନ୍ତି ।
8. ସେ ଆପଣା ନିବିଡ଼ ମେଘମାଳରେ ଜଳରାଶିକି ବାନ୍ଧନ୍ତି ଓ ତହିଁ ତଳେ ମେଘ ଚିରି ଯାଏ ନାହିଁ ।
9. ସେ ଆପଣା ସିଂହାସନର ମୁଖ ବନ୍ଦ କରନ୍ତି ଓ ତହିଁ ଉପରେ ଆପଣା ମେଘ ବିସ୍ତୀର୍ଣ୍ଣ କରନ୍ତି ।
10. ସେ ଦୀପ୍ତି ଓ ଅନ୍ଧକାରର ପ୍ରା; ପର୍ଯ୍ୟନ୍ତ ଜଳରାଶି ଉପରେ ସୀମା ନିର୍ଣ୍ଣୟ କରିଅଛନ୍ତି ।
11. ଆକାଶମଣ୍ତଳର ସ୍ତମ୍ଭସକଳ ତାହାଙ୍କ ଅନୁଯୋଗରେ କମ୍ପିତ ଓ ଚମତ୍କୃତ ହୁଅନ୍ତି ।
12. ସେ ଆପଣା ପରାକ୍ରମରେ ସମୁଦ୍ରକୁ ମନ୍ଥନ କରନ୍ତି ଓ ଆପଣା ବୁଦ୍ଧିରେ ରାହବକୁ ବିଦ୍ଧ କରନ୍ତି ।
13. ତାହାଙ୍କ ଶ୍ଵାସ ଦ୍ଵାରା ଆକାଶମଣ୍ତଳ ସୁଶୋଭିତ ହୁଏ; ତାହାଙ୍କ ହସ୍ତ ଶୀଘ୍ରଗାମୀ ନାଗକୁ ବିଦ୍ଧ କରିଅଛି ।
14. ଦେଖ, ଏହିସବୁ ତାହାଙ୍କ ମାର୍ଗର ପ୍ରାନ୍ତଭାଗ ମାତ୍ର; ଆଉ, ତାହାଙ୍କ ବିଷୟରେ ଆମ୍ଭେମାନେ କେଡ଼େ ଈଷତ୍ କ୍ଷୀଣ ସ୍ଵର ଶୁଣୁଥାଉ! ମାତ୍ର ତାହାଙ୍କ ପରାକ୍ରମର ଗର୍ଜ୍ଜନ କିଏ ବୁଝିପାରେ?