ଗୀତସଂହିତା 57 : 1 (IRVOR)
ସାହାଯ୍ୟ ପାଇଁ ପ୍ରାର୍ଥନା *ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍‍-ତଶ୍‍ହେତ୍‍ ସ୍ୱରରେ ଦାଉଦଙ୍କର ଗୀତ। ମିକ୍ତାମ୍‍; ଗୁମ୍ଫାରେ ଶାଉଲଙ୍କ ସମ୍ମୁଖରୁ ପଳାଇବା ବେଳେ ରଚିତ। *ହେ ପରମେଶ୍ୱର, ମୋତେ ଦୟା କର; ମୋତେ ଦୟା କର; କାରଣ ମୋ’ ପ୍ରାଣ ତୁମ୍ଭର ଶରଣାଗତ; ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି।
ଗୀତସଂହିତା 57 : 2 (IRVOR)
ମୁଁ ସର୍ବୋପରିସ୍ଥ ପରମେଶ୍ୱରଙ୍କ ନିକଟରେ, ମୋ’ ପକ୍ଷରେ ସର୍ବସାଧନକର୍ତ୍ତା ପରମେଶ୍ୱରଙ୍କ ନିକଟରେ ଡାକ ପକାଇବି।
ଗୀତସଂହିତା 57 : 3 (IRVOR)
ମୋତେ ଗ୍ରାସ କରିବାକୁ ଇଚ୍ଛୁକ ଲୋକ ତିରସ୍କାର କରିବା ବେଳେ, ସେ ସ୍ୱର୍ଗରୁ ପଠାଇ ମୋତେ ତ୍ରାଣ କରିବେ; *ସେଲା ପରମେଶ୍ୱର ଆପଣା ଦୟା ଓ ସତ୍ୟତା ପ୍ରେରଣ କରିବେ।
ଗୀତସଂହିତା 57 : 4 (IRVOR)
ମୁଁ ସିଂହମାନଙ୍କ ମଧ୍ୟରେ ଅଛି; ମୁଁ ପ୍ରଜ୍ୱଳିତ ଲୋକମାନଙ୍କ ମଧ୍ୟରେ, ଯେଉଁ ମନୁଷ୍ୟ-ସନ୍ତାନଗଣର ଦନ୍ତ ବର୍ଚ୍ଛା ଓ ତୀର ତୁଲ୍ୟ, ପୁଣି, ଜିହ୍ୱା ତୀକ୍ଷ୍ଣ ଖଡ୍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ।
ଗୀତସଂହିତା 57 : 5 (IRVOR)
ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ।
ଗୀତସଂହିତା 57 : 6 (IRVOR)
ସେମାନେ ମୋ’ ଚରଣ ପାଇଁ ଜାଲ ପ୍ରସ୍ତୁତ କରିଅଛନ୍ତି; ମୋ’ ପ୍ରାଣ ଅବନତ ହୋଇଅଛି; ସେମାନେ ମୋ’ ସମ୍ମୁଖରେ ଗର୍ତ୍ତ ଖୋଳି ଅଛନ୍ତି; ମାତ୍ର ସେମାନେ ନିଜେ ତହିଁ ମଧ୍ୟରେ ପତିତ ହୋଇଅଛନ୍ତି। *ସେଲା
ଗୀତସଂହିତା 57 : 7 (IRVOR)
ହେ ପରମେଶ୍ୱର, ମୋ’ ଚିତ୍ତ ସୁସ୍ଥିର ଅଛି, ମୋ’ ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ପ୍ରଶଂସା ଗାନ କରିବି।
ଗୀତସଂହିତା 57 : 8 (IRVOR)
ହେ ମୋହର ଗୌରବ, ଜାଗ୍ରତ ହୁଅ; ହେ ନେବଲ ଓ ବୀଣେ, ଜାଗ୍ରତ ହୁଅ; ମୁଁ ନିଜେ ଅତି ପ୍ରଭାତରେ ଜାଗ୍ରତ ହେବି।
ଗୀତସଂହିତା 57 : 9 (IRVOR)
ହେ ପ୍ରଭୁ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ଦେଶୀୟଗଣ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି।
ଗୀତସଂହିତା 57 : 10 (IRVOR)
କାରଣ ତୁମ୍ଭର ଦୟା ସ୍ୱର୍ଗ ପର୍ଯ୍ୟନ୍ତ ମହତ ଓ ତୁମ୍ଭର ସତ୍ୟତା ଆକାଶ ପର୍ଯ୍ୟନ୍ତ।
ଗୀତସଂହିତା 57 : 11 (IRVOR)
ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ।

1 2 3 4 5 6 7 8 9 10 11